ବର୍ଷରେ ମହାପ୍ରଭୁଙ୍କ କେତେ ଥର ସୁନାବେଶ ହୋଇଥାଏ, ଜାଣନ୍ତୁ…

ପୁରୀ, ୭/୧୭ : ସୁନାବେଶ(ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ ।ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ ।

ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।ଇତିହାସଶିଳାଲେଖରେ ଉଲ୍ଲେଖ ରହିଛି ରାଜା ଅନଙ୍ଗଭୀମ ଦେବ (୧୨୧୧-୧୨୩୮) ଓଡ଼ିଆଙ୍କ ପରମାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ରଦେବତାରୂପେ ଘୋଷଣା କରିଥିଲେ । ରାଜା ମହାରାଜାମାନେ ପ୍ରଭୁଙ୍କ ଆଦେଶ ବାହକ ସେବକ ରୂପେ ସେବା କରୁଥିଲେ । କିଛି ରାଜା ମହାପ୍ରଭୁଙ୍କୁ ଓଡ଼ିଶାର ରାଜା ରୂପେ ଘୋଷଣାକରି ରାଜଭିଷେକ ମଧ୍ୟ କରିଥିଲେ । କିଛି ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷାଢ଼ ଏକାଦଶୀ ତିଥିରେ ସୁନାବେଶ କରାଇଥିଲେ । ଅନ୍ୟ କେତେ ଗବେଷକଙ୍କ ମତରେ ରଥଉପରେ ସୁନାବେଶ ବଡ଼ତଢାଉଙ୍କ ପରାମର୍ଶରେ ରାଜା କରେଇଥିଲେ । ବଡ଼ତଢାଉ ବେଶ ମତରେ ରାଜା କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ୱାରସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ । ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ । ବହୁବର୍ଷ ଧରି ରଥ ଉପରେ ସୁନାବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହେଇଥିଲା । ଏବେ ଏଥିରେ କିଛି ପରିବର୍ତ୍ତନ ହୋଇଛି । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ଭଣ୍ଡାର ଗୃହରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୋଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।